ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ। ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି। ଦୁଇଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ସ୍ବତନ୍ତ୍ର ରିଲିଫ୍ କମିଶନର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ଉତ୍ତର ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ। ଏଥିରୁ କଟକ, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଅଛି। ବର୍ଷା ସହିତ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ୨୬ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ କିନ୍ତୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ଉତ୍ତର ଉପକୂଳ ଓଡ଼ିଶା, ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ ଆଦି ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେବ। ବର୍ଷା ପାଇଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ବର୍ଷା ପରେ ଏହା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ୨୭ ତାରିଖରେ ପାଗ ଶୁଖିଲା ରହିବା ସହ ଖରାତାତି ବଢ଼ିବ। ବର୍ଷା ଓ କୁହୁଡ଼ିକୁ ଦେଖି ପରିସ୍ଥିତି ଉପରେ ସତର୍କ ନଜର ରଖିବା ପାଇଁ ଏସ୍ଆରସି ଜିଲ୍ଲା ପ୍ରଶାସନକୁ ନିର୍ଦେଶ ଦେଇଛି।