ଭୁବନେଶ୍ୱର : ଶ୍ରୀରାମଚନ୍ଦ୍ର ରାବଣଙ୍କୁ ବଧ କରିବା ପାଇଁ ଶରତ କାଳରେ ଶ୍ରୀ ଶ୍ରୀ ଦୁର୍ଗାପୂଜା କରିଥିଲେ । ଏହାକୁ ‘ଅକାଳବୋଧନ’ କୁହାଯାଏ । କାରଣ ଶରତକାଳ ସୂର୍ଯ୍ୟ ଦକ୍ଷିଣାୟନ କରନ୍ତି । ଶ୍ରାବଣ ମାସରୁ ପୌଷମାସ ସୂର୍ଯ୍ୟଙ୍କ ଦକ୍ଷିଣାୟନ; ମାଘରୁ ଆଷାଢ଼ ସୂର୍ଯ୍ୟଙ୍କର ଉତ୍ତରାୟନ । ଦକ୍ଷିଣାୟନ ଦେବତାଙ୍କର ରାତ୍ରି । ତେଣୁ ଉତ୍ତରାୟନ ଦେବତାଙ୍କ ଆରାଧନାର ପ୍ରକୃଷ୍ଟ ସମୟ । ରାବଣ, ବ୍ରହ୍ମାଙ୍କ ବରରେ ଅପାରଶକ୍ତିର ଆଧିକାରୀ ହୋଇଥିବାରୁ ତାଙ୍କୁ ବଧ କରିବା ନିମନ୍ତେ ଦେବୀଙ୍କ କୃପା ଆବଶ୍ୟକ । ତେଣୁ ବ୍ରହ୍ମା ଶ୍ରୀରାମଚନ୍ଦ୍ରଙ୍କୁ ଶରତ କାଳରେ ଦେବୀଙ୍କ କଳ୍ପାରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ । ଶ୍ରୀରାମଚନ୍ଦ୍ର ଦ୍ୱନ୍ଦ୍ୱରେ ପଡ଼ିଲେ । ସୃଷ୍ଟିକର୍ତ୍ତା ବ୍ରହ୍ମାଙ୍କର ନିର୍ଦ୍ଦେଶ ଓ ଦେବଦେବୀଙ୍କର ଦକ୍ଷିଣାୟନ । ଦେବୀ ଜାଗ୍ରତ ନା ନିଦ୍ରିତ ? ଦେବୀ ଏବେ ଆବିର୍ଭୂତ ହେବେ ତ ? ତେଣୁ ସେ ଧ୍ୟାନମଗ୍ନ ହୋଇ ଜାଣିପାରିଲେ ଦେବୀ ତ୍ରିଶାଖା ବିଲ୍ୱଦଳରେ ‘କୁମାରୀ’ କନ୍ୟା ରୂପେ ଶାୟିତ । ଏହି ଦୃଶ୍ୟ ଅବଲୋକନ କରି ବିଭୋର ହେଲେ ଶ୍ରୀରାମଚନ୍ଦ୍ର । ଦେବୀଙ୍କୁ ଜାଗ୍ରତ କରାଇବେ ।ବ୍ରହ୍ମାଙ୍କ ନିର୍ଦ୍ଦେଶରେ ଷଷ୍ଠୀଦିନ ‘ବିଲ୍ୱାଧିବାସ’ କଲେ ଶ୍ରୀରାମଚନ୍ଦ୍ର । ଷଷ୍ଠୀପରେ ସପ୍ତମୀରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ ମଧ୍ୟ ଦେବୀଙ୍କର ନିଦ୍ରାଭଙ୍ଗ ହେଲାନି । ଅଷ୍ଟମୀରେ ଯୋଗିନୀମାନଙ୍କୁ ଡାକି ବିଶେଷ ପୂଜାକରିଲେ ଶ୍ରୀରାମ । ତେଣୁ ଅଷ୍ଟମୀର ଶେଷ ଦଣ୍ଡ ଓ ନବମୀର ପ୍ରଥମ ଦଣ୍ଡ(୨୪+୨୪=୪୮ମିନିଟ) ସନ୍ଧିକ୍ଷଣରେ ପୂଜା କଲେ । ଏହାକୁ ‘ସନ୍ଧିପୂଜା’ କୁହାଯାଏ ।