ପୁରୀ : ବୈଶାଖ କୃଷ୍ଣ ଦ୍ୱାଦଶୀ ତିଥିରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦୀର୍ଘଦିନର ବ୍ୟବଧାନ ପରେ ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପ୍ରଥମେ ଶ୍ରୀବିଗ୍ରହମାନଙ୍କର ଅଧର ପୋଛା ପରେ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ । ପରମ୍ପରା ଅନୁଯାୟୀ ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଯାଇଛି ଏବଂ ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିଥାଏ ।
ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ମହାପ୍ରଭୁଙ୍କ ମୁଖ ମଣ୍ଡଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖା ଯାଇଥାଏ । ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ଅପରାହ୍ନ ଘ.୪.୦୦ ଟାରୁ ରାତ୍ର ଘ.୮.୦୦ ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।