ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ତତ୍ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି । ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି । ଏଥିସହ ସମୁଦ୍ର ପତ୍ତନରେ ମୌସୁମୀ ଟ୍ରଫର ପଶ୍ଚିମ ପ୍ରାନ୍ତ ହିମାଳୟ ପାଦଦେଶ ନିକଟରେ ରହିଛି ଏବଂ ଏହାର ପୂର୍ବ ମୁଣ୍ଡ ବାରବାଙ୍କୀ, ଦେହରୀ, ରାଞ୍ଚି, ଦିଘା ଦେଇ ଦକ୍ଷିଣ-ପୂର୍ବ ଦିଗ ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗରକୁ ଗତି କରୁଛି ।
ତେବେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି । ସେହିପରି ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୨୦ ସେମି) ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ବରଗଡ଼, ରାୟଗଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି । ଏହାବାଦ୍ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ଅନୁଗୁଳ, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି । ରାଜ୍ୟରେ ଅଗଷ୍ଟ ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅପରପକ୍ଷେ ଗୁରୁବାର ପ୍ରବଳ ବର୍ଷାରେ ଭୁବନେଶ୍ୱରର ଅନେକ ସ୍ଥାନ ଜଳମଗ୍ନ ହୋଇଛି । ଯେଉଁଥିପାଇଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା ।
ଗୁରୁବାର ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିଲା । ସେଥିରୁ ଖୋର୍ଦ୍ଧାରେ ସର୍ବାଧିକ ୭୮ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୫୬.୨ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ପୁରୀରେ ୬୨.୨ମିମି, ନବରଙ୍ଗପୁରରେ ୫୪ମିମି, ଛତ୍ରପୁରରେ ୨୭.୪ମିମି, ବାଲେଶ୍ୱରରେ ୪୧.୬ମିମି, କଟକ ୬ମିମି, ଗୋପାଳପୁରରେ ୩୦.୮ମିମି, କେନ୍ଦୁଝର ୬୭.୮ମିମି, ଟିଟିଲାଗଡରେ ୫୬.୨ମିମି ବର୍ଷା ହୋଇଥିବା ପାଣିପାଗକେନ୍ଦ୍ର ପକ୍ଷରୁ ଜଣାପଡିଛି ।