ଭୁବନେଶ୍ୱର: ସବୁ କଳ୍ପନା ଜଳ୍ପନାର ଘଟିଲା ଅନ୍ତ । ବିଜେପି-ବିଜେଡି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଭିତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏକ ବଡ଼ ସୂଚନା ଦେଇଛନ୍ତି । ବିଜେପି ଏକାକୀ ଲଢ଼ିବ ବୋଲି ସେ କହିଛନ୍ତି । ବିଜେଡି-ବିଜେପି ମଧ୍ୟରେ ମେଣ୍ଟ ହେବ ନାହିଁ ବୋଲି ଏକ୍ସ ଜରିଆରେ ସୂଚନା ଦେଇଛନ୍ତି । ସେ ଏକ୍ସରେ ଲେଖିଛନ୍ତି ଯେ…. ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥୂବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।
କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।