ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଏହି ସମୟରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ତେବେ ଗୁରୁବାର ଓ ଶୁକ୍ରବାର ବର୍ଷାର ପ୍ରଭାବ ସବୁଠୁ ଅଧିକ ଅନୁଭୂତ ହେବ। ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଶୁକ୍ରବାର ରାଜ୍ୟର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ଦୁଇ ଦିନରେ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ପ୍ରଦେଶ ମୁହାଁ ହୋଇ ସ୍ଥଳଭାଗ ଅତିକ୍ରମ କରିବ। ପ୍ରଭାବର ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।










