ଭୁବନେଶ୍ୱର : ଆଉ ଏକ ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି । ଯାହା ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଉତ୍ତର ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ ବୋଲି ସୂଚନା ମିଳିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବର୍ଷା ପାଇଁ ୫ ଜିଲ୍ଲା ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେଥିପାଇଁ ରାଜ୍ୟବାସୀଙ୍କୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି ।