32.1 C
Bhubaneswar
Wednesday, May 6, 2026
Homeଓଡିଶା୩ ଦିନ ପ୍ରବଳ ବର୍ଷା; ଆଜି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି

୩ ଦିନ ପ୍ରବଳ ବର୍ଷା; ଆଜି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବାଂଲାଦେଶ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ। ଶନିବାର ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହି ଅବପାତ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ମୁଖ୍ୟତଃ ବର୍ଷାର ପ୍ରଭାବ ଉତ୍ତର ଓଡ଼ିଶାରେ ଅଧିକ ରହିବାକୁ ଥିବା ବେଳେ ପର୍ଯ୍ୟାୟକ୍ରମେ କେନ୍ଦ୍ରୀୟ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ବର୍ଷା ହେବ। ଏହି ଲଘୁଚାପର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା କରାଯାଇଛି। ସମ୍ଭାବ୍ୟ ଲଘୁଚାପ ଯୋଗୁଁ ସମୁଦ୍ର ମଧ୍ୟରେ ୪୦-୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡକୁ ସତର୍କତା ଜାରି କରାଯାଇଛି। ଏହି ୩ଟି ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ନେଇ ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି।
ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତାକାଲି ବନ୍ଦ ରହିବ ସମସ୍ତ ସ୍କୁଲ୍‌। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ମୟୂରଭଞ୍ଜ ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking