31.1 C
Bhubaneswar
Saturday, March 28, 2026
Homeଓଡିଶାପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ; ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଖୁବ୍‌...

ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ; ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ। ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ।  ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ।

ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ସମୁଦାୟ ୪୫ଟି ଐତିହ୍ୟ ବିଦ୍ୟାଳୟର ବିକାଶ କରାଯିବ। ବିଦ୍ୟାଳୟରେ ଶିକ୍ଷକତା କରିଥିବା ବା ଶିକ୍ଷା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ଅବଦାନକୁ ମଧ୍ୟ ସ୍ମରଣୀୟ କରାଯିବ। ବୈଠକରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଉନ୍ନତିକରଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶ୍ରୀମତୀ ଶାଲିନୀ ପଣ୍ଡିତ, ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଯାମିନୀ ଷଡଙ୍ଗୀ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking