20.1 C
Bhubaneswar
Thursday, February 12, 2026
Homeଓଡିଶାସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୫ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ମଞ୍ଜୁର କଲେ...

ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୫ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ୧ ଲକ୍ଷ ଟଙ୍କା, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ୧ ଲକ୍ଷ ଟଙ୍କା ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ଶ୍ରୀମତୀ ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଥିଲେ । ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।

ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ପ୍ରକୋଷ୍ଠ ଜରିଆରେ ଆମ ସରକାର ସବୁ ବର୍ଗର ଲୋକଙ୍କୁ ସହାୟତା ପ୍ରଦାନ କରୁଛନ୍ତି । ବିଶେଷ କରି ଭିନ୍ନକ୍ଷମ, ବରିଷ୍ଠ ଓ ଜରୁରୀ ସେବା ଆବଶ୍ୟକ କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରାଧାନ୍ୟ ଦିଆଯାଉଛି । ଦୁଃଖ ଓ ସମସ୍ୟାରେ ଜର୍ଜରିତ ବ୍ୟକ୍ତିମାନେ ସେମାନଙ୍କ ସମସ୍ୟା ଓ ଅଭିଯୋଗ ନେଇ ଏଠାକୁ ଆସୁଛନ୍ତି । ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନିଆଯାଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗ ଓ କର୍ତ୍ତୃପକ୍ଷଙ୍କ ନିକଟକୁ ଏହାର ସମାଧାନ ପାଇଁ ଅଭିଯୋଗପତ୍ର ପ୍ରେରଣ କରାଯାଉଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ । ସୂଚନାଯୋଗ୍ୟ ଯେ, ଗତ ବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ଅଷ୍ଟମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୮୭୩୭ଟି ଅଭିଯୋଗ ମଧ୍ୟରୁ ୭୩୩୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୪ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking