19.1 C
Bhubaneswar
Sunday, February 8, 2026
Homeଓଡିଶାଟ୍ୱିନ ସିଟିରେ କାର୍ଯ୍ୟକାରୀ ହେବାକୁ ଥିବା ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେବାକୁ ଥିବା ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ (Decongestion Plan) ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର, ପଟିଆ ଷ୍ଟେସନ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟା ୱେଷ୍ଟ କେନାଲ ରାସ୍ତା ନିର୍ମାଣ, ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ, ଏବଂ କଳ୍ପନା ଛକ, ମ୍ୟୁଜିଅମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏ ଉଭର୍ ସହିତ ଏଜି ଛକରେ ଏକ ଅଣ୍ଡରପାସ୍ ନିର୍ମାଣ ପାଇଁ ଯୋଜନା ରଖାଯାଇଛି ।

ସେହିପରି ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାଥ୍‌ମେଟିକସ୍ ରୁ ପଥର ଗାଡିଆ- ଉତ୍କଳ ହସ୍ପିଟାଲ- ରେଲ୍ ବିହାର ଦେଇ ଏକାମ୍ର କାନନ ପର୍ଯ୍ୟନ୍ତ ଲେଫ୍ଟ ପାରାଲେଲ୍ ରୋଡ୍ କାମ ମଧ୍ୟ ଜାରି ରହିଛି । ଏହା ସହିତ ଡମଣାରୁ ପ୍ରେସ୍ ଛକ, କଳାରାହାଙ୍ଗରୁ ବାରିମୁଣ୍ଡ ଓ କେଳୁଚରଣ ପାର୍କରୁ ବାରିମୁଣ୍ଡ ପର୍ଯ୍ୟନ୍ତ ୩ଟି ରାଇଟ୍ ଆକ୍‌ସେସ୍ ରୋଡ୍ ନିର୍ମାଣର ଯୋଜନା ରଖାଯାଇଛି । ଏହା ସହିତ ଏକ ଇନର୍ ରିଙ୍ଗ୍ ରୋଡ୍ ମଧ୍ୟ ନିର୍ମାଣ କରାଯିବ । ଏହି ସମସ୍ତ ନିର୍ମାଣ ଦ୍ୱାରା ଭୁବନେଶ୍ୱରରେ ଦିନ ପ୍ରତିଦିନ ବଢୁଥିବା ଟ୍ରାଫିକ ସମସ୍ୟାର ସମାଧାନ ହୋଇପାରିବ ଏବଂ ଭୁବନେଶ୍ୱର ସହରର ସୌନ୍ଦର୍ଯ୍ୟକରଣରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ।

ଏହି ନିର୍ମାଣ ଯୋଗୁଁ ବିସ୍ଥାପିତ ହେବାକୁ ଥିବା ପ୍ରାୟ ୩୬୬ଟି ପରିବାରକୁ ଥଇଥାନ କରାଯିବା ସହିତ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା।  ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାସ୍ୱତ ମିଶ୍ର, ପୋଲିସ କମିଶନର ଶ୍ରୀ ଏସ୍. ଦେବଦତ୍ତ ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking