ଭୁବନେଶ୍ୱର: ଆସୁଛି ଲଘୁଚାପ। ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ଏହାର ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଲଘୁଚାପ ପ୍ରଭାବରେ ୨୭ରୁ ୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବା ସାଙ୍ଗକୁ ଘଣ୍ଟା ପ୍ରତି ୫୦ କିମି ବେଗରେ ପବନ ବହିବ। ଯାହାକୁ ନେଇ ୨୯ ତାରିଖରୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ଉପରେ ବାରଣ କରାଯାଇଛି।
ଅନ୍ୟପକ୍ଷରେ ଆସନ୍ତା ୨୯ତାରିଖ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି। ବର୍ତ୍ତମାନ ସ୍ଥିତିରେ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି। ରାଜ୍ୟରେ କାଳବୈଶାଖୀ ସହ ପ୍ରାକ ମୌସୁମୀ ବର୍ଷା ବିଭିନ୍ନ ସ୍ଥାନରେ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ବର୍ଷା ଲାଗିରହିବ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି ରହିବ। ଯାହାକୁ ନେଇ ସାରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାତ୍ର କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, କେନ୍ଦୁଝର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ। କାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ରହିବ।
ଏହାସହ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ୩୦ରୁ ୪୦ କିମି ରହିବ। ଯାହାକୁ ନେଇ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୨୮ ଓ ୨୯ ତାରିଖରେ ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ୨ ଦିନରେ କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଅତି ପ୍ରବଳ ବର୍ଷା ସହ ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୩୦ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ୪୦-୫୦ କିମି ସମ୍ଭାବନାକୁ ନେଇ ୮ ଜିଲ୍ଲା ଯଥା ଅନୁଗୁଳ,ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ସମ୍ବଲପୁର ବୁର୍ଲାରେ ସର୍ବାଧିକ ୬୪.୨ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ସର୍ବାଧିକ ତାପମାତ୍ରା ହୀରାକୁଦ ୩୮.୧ ଡିଗ୍ରୀ ଓ ସର୍ବନିମ୍ନ ରାୟଗଡ଼ାରେ ୨୨.୨ ଡିଗ୍ରୀ ରେକର୍ଡ ହୋଇଛି।










