ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଭାରତ ମହାସାଗର ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଭାରତ ମହାସାଗର ଅଞ୍ଚଳରେ ପହଞ୍ଚିବ। ଏହାର ପ୍ରଭାବରେ ଆସନ୍ତା ୨୩ ଏବଂ ୨୪ତାରିଖ ରାଜ୍ୟର ବିଭିନ୍ନ ଅଞ୍ଚଳେର ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କଟକ, ଯାଜପୁର, ଭଦ୍ରକ ଜିଲାଗୁଡ଼ିକରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋରଧା, ପୁରୀ, କେନ୍ଦୁଝର, ଯାଜପୁର ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବ। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି। ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି।










