ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ, ବାଂଲାଦେଶ ଉପକୂଳରେ ଆଜି ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷକରି ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ସେହିପରି ବାକି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି ସକାଳଠାରୁ ସୋମବାର ସକାଳ ମଧ୍ୟରେ ମୟୂରଭଞ୍ଜର କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ଏହି ସମୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନେ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।









