27.1 C
Bhubaneswar
Friday, March 29, 2024
Homeଓଡିଶାସମସ୍ତ ସ୍ତ୍ରୀ ଜାତି ବ୍ରହ୍ମମୟୀ, ମହାମାୟା ଜଗଜ୍ଜନନୀଙ୍କର ଏକ ଅଂଶ ବିଶେଷ

ସମସ୍ତ ସ୍ତ୍ରୀ ଜାତି ବ୍ରହ୍ମମୟୀ, ମହାମାୟା ଜଗଜ୍ଜନନୀଙ୍କର ଏକ ଅଂଶ ବିଶେଷ

ଭୁବନେଶ୍ୱର : ଚାମୁଣ୍ଡା ଦେବୀଙ୍କ ସହାୟତାରେ ଶ୍ରୀରାମଚନ୍ଦ୍ର  ‘ସନ୍ଧିପୂଜା’ ପୂଜା ପରେ ଅର୍ଥାତ୍‌ ନବମୀ ଦିନ ଦେବୀ ଜାଗ୍ରତ ହେଲେ ଏବଂ ପୁନର୍ବାର ‘କୁମାରୀ’ ରୂପରେ ଶ୍ରୀରାମଚନ୍ଦ୍ରଙ୍କୁ ଦର୍ଶନ ଦେଲେ । ତେଣୁ ନବମୀ ଦିନ କୁମାରୀ ପୂଜାର ପ୍ରଚଳନ ଅଛି । କୁମାରୀ ସାକ୍ଷାତ ଯୋଗିନୀ, ପରମାଦେବୀ ପୁଣି ପରମପ୍ରକୃତି । ଶ୍ରୀ ଶ୍ରୀ ଚଣ୍ଡୀରେ ଉଲ୍ଲେଖ ଅଛି ‘ସ୍ତ୍ରୀୟା ସମସ୍ତା ସକଳ ଜଗତ ସୁ’ ଅର୍ଥାତ୍‌ ସମସ୍ତ ସ୍ତ୍ରୀ ଜାତି ବ୍ରହ୍ମମୟୀ, ମହାମାୟା ଜଗଜ୍ଜନନୀଙ୍କର ଏକ ଅଂଶ ବିଶେଷ । ପ୍ରତି ନାରୀ ଭଗବତୀଙ୍କ ଅଂଶ ହେଲେ ମଧ୍ୟ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ବିଶେଷ ଭାବରେ ପ୍ରକାଶିତ । ତନ୍ତ୍ରମତେ ଷୋହଳ ବର୍ଷ ପର୍ଯ୍ୟନ୍ତ ଅବିବାହିତା କନ୍ୟାଙ୍କୁ କୁମାରୀ କୁହାଯାଏ । ଯେତେଦିନ ପର୍ଯ୍ୟନ୍ତ କନ୍ୟା ଋତୁମତୀ ନ ହୁଅନ୍ତି ସେତେଦିନ ପର୍ଯ୍ୟନ୍ତ ‘କୁମାରୀ’ ତାହା କୁସୁମପରି ପବିତ୍ର । ତେଣୁ ସେତେଦିନ ପର୍ଯ୍ୟନ୍ତ କନ୍ୟା ଦେବସେବାରେ ନିବେଦିତ ହୋଇପାରିବେ । ତ୍ରେତୟା ଯୁଗରେ ଶ୍ରୀରାମଚନ୍ଦ୍ର ଦେବୀ ଦୁର୍ଗାଙ୍କୁ କୁମାରୀ ରୂପରେ ଦର୍ଶନ କରିଥିଲେ ଏବଂ ପୂଜା କରିଥିଲେ ମଧ୍ୟ ପରବର୍ତ୍ତୀକାଳରେ ଶ୍ରୀଶ୍ରୀ ରାମକୃଷ୍ଣ ଓ ତାଙ୍କର ଶିଷ୍ୟ ବିବେକାନନ୍ଦ ଏହାର ବହୁଳ ପ୍ରଚାର କରିଥିଲେ ଏବଂ ରାଣୀ ରାସମଣୀ ଦେବୀଙ୍କଦ୍ୱାରା କୁମାରୀ ପୂଜାକରାଇ ଏହାର ପ୍ରସାର ମଧ୍ୟ କରିଥିଲେ। କାରଣ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ଅନୁଭବ କରିଥିଲେ ।

ଏଣୁ ଦୁର୍ଗାପୂଜାର ନବମୀ ରାତ୍ରିରେ କେତେକ ବ୍ରାହ୍ମଣ ବଂଶୀୟ ସାତରୁ ଆଠ ବର୍ଷର କନ୍ୟାକୁ ପାଦରେ ଅଳତା, ଆଖିରେ କଜ୍ଜଳ ଓ କପାଳରେ ଚନ୍ଦନ ଟିପା ଦେଇ ସୁନ୍ଦର ଭାବରେ ସଜାଇ ନୂତନ ଶାଢ଼ି ପରିଧାନ କରାଇ ବିଭିନ୍ନ ଉପଢ଼ୌକନ ଦେଇ ପୂଜା କରାଯାଏ । ଏହାକୁ ‘କୁଆଁରୀ ଲକ୍ଷ୍ମୀ’ ପୂଜା କୁହାଯାଏ । ଓଡ଼ିଶାର ସବୁ ପୂଜାମଣ୍ଡପରେ ନବମୀ ଦିନ କୁମାରୀ ପୂଜା କରା ନ ଗଲେ ମଧ୍ୟ କଟକ ଜିଲ୍ଲାର ପୁନଙ୍ଗ ଗ୍ରାମର ଘୋଷଘର ପୂଜାମଣ୍ଡପରେ ଆବାହମାନକାଳରୁ କୁମାରୀ ପୂଜା ହୋଇଆସୁଛି । କଥିତ ଅଛି, ଯେଉଁମାନେ ଏହି ପୂଜା ଦର୍ଶନ କରନ୍ତି, ସେମାନେ ଚତୁବର୍ଗ ଫଳ ପାଆନ୍ତି । କୁମାରୀ ପୂଜା ହେଉଛି ନାରୀଜାତି ପ୍ରତି ସମ୍ମାନ ପ୍ରଦର୍ଶନର ଏକ ପ୍ରକ୍ରିୟା ମାତ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking