ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୧ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୧,୨୨୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୯୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୦,୫୮,୮୪୩ ଓ ମୃତ୍ୟୁସଂଖ୍ୟା ୪,୪୧,୦୬୨ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୨,୯୪୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୨,୨୪,୯୩୭ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୨,୮୬୪। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୯,୯୦,୬୨,୭୭୬ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୫ତାରିଖ ସୁଦ୍ଧା ସମୁଦାୟ ୫୩,୩୧,୮୯,୩୪୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୨୬,୦୫୬ଟି ନମୁନା।