ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୦.୯ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୩ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧ ସେପ୍ଟେମ୍ବର, ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କନ୍ଧମାଳ, ରାୟଗଡ଼ା, ସମ୍ବଲପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୨୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।