ଭୁବନେଶ୍ୱର : ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ଓ ପାଶ୍ୱବର୍ତ୍ତୀ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ସେହିପରି ଫେବ୍ରୁଆରୀ ୧ ଓ ୨ ତାରିଖରେ କେତେକ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ବୁଧବାର ସକାଳେ କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ସୋନପୁର, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ଘନ କୁଡୁଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେପଟେ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ପ୍ରଭାବରେ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ପ୍ରବେଶ କରିବ । ଏହାର ପ୍ରଭାବରେ ଫେବ୍ରୁଆରୀ ୧ ଓ ୨ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୧ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବ । ଠିକ୍ ସେହିପରି ୨ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ରାତିର ତାପମାତ୍ର ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ । ଅର୍ଥାତ ଶୀତ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।