ଓଡ଼ିଶାର ଦଶହରା ଦୁର୍ଗା ପୂଜା

ଭୁବନେଶ୍ୱର : ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର ।

ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ, ଯାହା ଦଶହରାର ପ୍ରଥମ ବିଧି । ଏହା ପରେ କାରିଗରମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରୁହନ୍ତି । ପବିତ୍ର ମହାଳୟା ଅବସରରେ ମା’ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡ଼ି ଚଢ଼ାଯାଏ । ମହାଳୟା ଠାରୁ ପ୍ରକୃତ ଦୁର୍ଗା ପୂଜା ଆରମ୍ଭ ହୁଏ, କାରଣ ଏହି ଦିନ ଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ । ମା’ଙ୍କୁ ସ୍ୱାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲ ଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ମା’ଙ୍କ ଚକ୍ଷୁଦାନ ସମ୍ପନ୍ନ ହୁଏ । ଏହା ମା’ଙ୍କ ବିଶେଷ ପୂଜାବିଧି । ଶାସ୍ତ୍ରମତେ ଏଥିରେ କୌଣସି ଅବହେଳା ହେଲେ ଅନିଷ୍ଟ ଘଟିବା ସୁନିଶ୍ଚିତ ।

LEAVE A REPLY

Please enter your comment!
Please enter your name here