ଓଡ଼ିଶାର ଦଶହରା

ଭୁବନେଶ୍ୱର : ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ ।

ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣ ରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ। ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ ।

ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି – ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ସମଲେଶ୍ଵରୀ
ଆଶ୍ଵିନ ମାସ କୃଷ୍ଣ ପକ୍ଷ ମୂଳାଷ୍ଟମୀ ତିଥିରୁ ମା’ ସମଲେଶ୍ଵରୀ ଙ୍କ ମନ୍ଦିରରେ ଷୋଳହ ପୂଜା ଆରମ୍ଭ ହେଇଥାଏ । ଏହିଦିନ ଦୁତିବାହାନ ପୂଜା କରାଯାଇଥାଏ । ଚନ୍ଦନ, ଅଗରୁ, କସ୍ତୁରୀ, ଶ୍ରୀକର୍ପୂର, ଗଙ୍ଗାଜଳରେ ମା’ଙ୍କ ସ୍ନାନ ପରେ ନଅ ପ୍ରକାରର ଭୋଗଲାଗି କରାଯାଇଥାଏ । ଏହି କ୍ରମରେ ଅମାବାସ୍ୟା ତଥା ମହାଳୟା ଦିନ ଦେବୀ ଧବଳମୁଖୀ ଓ ଗଙ୍ଗାଦର୍ଶନ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ଏହି ଦିନ ଭୋର ତିନିଟା ସମୟରେ ମନ୍ଦିର, ଗମ୍ଭୀରାର ଦରଜା ଖୋଲା ଯାଇଥାଏ। ରାତ୍ରି ୨ଟା ରେ ମନ୍ଦିର ବନ୍ଦ କରାଯାଏ । ଏହି ରୂପରେ ଦେବୀ ଅଢେଇଦିନ ପୂଜିତ ହୁଅନ୍ତି। ଧବଳମୁଖୀ ରୂପରେ ଥାଇ ସମଲେଶ୍ଵରୀ ଶୈଳପୁତ୍ରୀ ବେଶ ଧାରଣ କରନ୍ତି । ପରେ ଦଶମୀ ପର୍ଯ୍ୟନ୍ତ ମା’ ସମଲେଶ୍ଵରୀ ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଧମାତା, କାତ୍ୟାୟନୀ, କାଳରାତ୍ରୀ, ମହାଗୌରୀ, ସିଦ୍ଧିଦାତ୍ରୀ, ମହିଷାମର୍ଦ୍ଦିନୀ ଭାବରେ ପୂଜିତ ହୁଅନ୍ତି। ପୂର୍ଣ୍ଣିମା ଦିନ ଦେବୀ ରାଜରାଜେଶ୍ଵରୀ ବେଶରେ ଦେବୀ ଦର୍ଶନ ଦିଅନ୍ତି। ପୂର୍ଣ୍ଣିମା ରାତି ମନ୍ଦିରରେ ନୂତନ ଧ୍ଵଜା ସ୍ଥାପନ କରାଯାଏ।

LEAVE A REPLY

Please enter your comment!
Please enter your name here