ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଦ୍ବାରା ଆୟୋଜିତ ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା ସମ୍ମିଳନୀକୁ ଅପାର ସଫଳତା ମିଳିଥିବାବେଳେ ରାଜ୍ୟ ସରକାର ଆଜି ଏହାର ଅବଧିକୁ ଆଉ ଗୋଟିଏ ଦିନ ବୃଦ୍ଧି କରିଛନ୍ତି । ଏହି ୨ ଦିନିଆ ସମ୍ମିଳନୀ ଆଜି ଶେଷ ହେଉଥିଲେ ମଧ୍ୟ ଆସନ୍ତାକାଲି ସାଧାରଣ ଜନତାଙ୍କ ପାଇଁ ପ୍ରଦର୍ଶନୀ ଖୋଲା ରଖିବାକୁ ନିଷ୍ପତ୍ତି ହୋଇଥିଲେ । ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଚଳିତ ମାସ ୩୧ ତାରିଖ ଶୁକ୍ରବାର ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।
ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ଆମ ପାଇଁ ଅପାର ସଫଳତା ଆଣିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ସାରା ବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକ ମାନେ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ନିଜେ ଉପସ୍ଥିତ ରହି ଓଡିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦୀ ଗ୍ୟାରେଣ୍ଟି’ ଦେଇଥିଲେ । ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ କରିବା ଓ ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡିଶାକୁ ଏକ ଗ୍ରୋଥ୍ ଇଞ୍ଜି୍ନ କରିବା ପାଇଁ ସେ ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେଇ ଆସିଛନ୍ତି । ଡବଲ ଇଞ୍ଜିନ ସରକାରରେ ତାଙ୍କର ଯାହା ଭୂମିକା ରହିବା କଥା ତାକୁ ସେ ସମ୍ପୂର୍ଣ୍ଣ ଭାବେ ନିର୍ବାହ କରିଛନ୍ତି । ଏହାଦ୍ୱାରା ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ପାଇଁ ଆମର ଯେଉଁ ସଂକଳ୍ପ ରହିଛି, ଆମେ ତାହାର ନିକଟତର ହୋଇପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ସମ୍ମିଳନୀରେ ସମୁଦାୟ ୧୪୫ଟି ରାଜିନାମା (MoU) ସ୍ୱାକ୍ଷରିତ ହୋଇଛି । ଏହି ରାଜିନାମା ଗୁଡିକ ଓଡିଶାର ଶିଳ୍ପକ୍ଷେତ୍ରରେ କାୟକଳ୍ପ ପରିବର୍ତ୍ତନ କରିବା ସହିତ ବିଶ୍ୱ ସ୍ତରୀୟ ଶିଳ୍ପସଂସ୍ଥା ମାନଙ୍କ ସହିତ ସହଭାଗିତାର ନୂଆ ଯୁଗ ଆରମ୍ଭ କରିବ । ଏହି ରାଜିନାମା ଗୁଡିକ ଜରିଆରେ ସମୁଦାୟ ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ରାଜିନାମା ହୋଇଛି । କେମିକାଲସ୍, ପେଟ୍ରୋକେମିକାଲସ୍, ଟେକ୍ସଟାଇଲସ୍, ମାଇନଙ୍ଗ ଓ ମେଟାଲର୍ଜି, ନବୀକରଣୀୟ ଶକ୍ତି, ଆଇ.ଟି, ପର୍ଯ୍ୟଟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ପରି ବିବିଧ କ୍ଷେତ୍ରରୁ ପୁଞ୍ଜିନିବେଶର ପ୍ରସ୍ତାବ ଆସିଛି । ଏହା ଦ୍ୱାରା ରାଜ୍ୟରେ ୮ ଲକ୍ଷ ୯୪ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଓଡିଶାର ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ସହିତ ରାଜ୍ୟରେ ସମାବେଶୀ ଅଭିବୃଦ୍ଧି ହୋଇପାରିବ । ଏମଓୟୁ ସ୍ୱାକ୍ଷର ବ୍ୟତୀତ ଆହୁରି ୩.୮୪ ଲକ୍ଷ କୋଟି ଟଙ୍କାର ୪୪୮ ଟି ପୁଞ୍ଜିନିବେଶ ଅଭିପ୍ରାୟ ମଧ୍ୟ ଆମେ ନିର୍ଦ୍ଧାରିତ ଫର୍ମରେ ଗ୍ରହଣ କରିଛୁ । ଏହା ଦ୍ୱାରା ୩.୯୨ ଲକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।