ଭୁବନେଶ୍ୱର: ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କେରାପୁଟ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିପରି ୮ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡ଼ିକରେ ୭-୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଏବଂ ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି ହୋଇଛି । ୯ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବାକୁ ଏସ୍ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି । ଓଡ଼ିଶା ସମେତ ଛତିଶଗଡ଼ରେ ମଧ୍ୟ ବର୍ଷା ଜାରି ରହିଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀକୁ ବନ୍ୟାଜଳ ପ୍ରବେଶ ବଢ଼ିବାରେ ଲାଗିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ରହିଛି ୬୦୯.୭୩ ଫୁଟ ରହିଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୨ ଲକ୍ଷ ୪୬ ହଜାର ୧୮୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି । ସ୍ଥିତିକୁ ଦେଖି ୧୪ ଟି ଗେଟରେ ଜଳନିଷ୍କାସନ ଜାରି ରହିଛି ।