ଭୁବନେଶ୍ୱର: ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳକୁ ଲାଗି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିମଧ୍ୟରୁ ୧୨ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା କାରଣରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତାରେ ସକ୍ରିୟ ରହିଛି । ଏହା କ୍ରମଶଃ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨ଦିନ ମଧ୍ୟରେ ଏହା ଝାଡ଼ଖଣ୍ଡ ଦେଇ ଉତ୍ତର- ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ରାଜ୍ୟର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ମିମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପକ୍ଷରେ କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସେପ୍ଟେମ୍ବର୧ ତାରିଖରୁ ୨୦ତାରିଖ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ ୪୬ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି ।
ମହାନଦୀରେ ମୁଣ୍ଡଳି ଠାରେ ୩ ଲକ୍ଷ ୭୦ ହଜାର କ୍ୟୁସେକ ପାଣି ପ୍ରବାହିତ ହେଉଛି । ହୀରାକୁଦ ଜଳ ସ୍ତର ଖସିବାରେ ଲାଗିଛି । ହୀରାକୁଦସ୍ଥିତି ସ୍ୱାଭାବିକ ଅଛି । ହୀରାକୁଦ ଜଳଭଣ୍ଡାରରେ ୬୨୮ ଫୁଟ ପାଣି ଅଛି । ଜଳଭଣ୍ଡାରରେ ଆହୁରି ପାଣି ରହିବାର କ୍ଷମତା ଅଛି । ଫଳରେ ଆଜି ସମସ୍ତ ଗେଟ ବନ୍ଦ କରି ଦିଆଯାଇଛି । ଆସନ୍ତାକାଲି ଉପରମୁଣ୍ଡରେ ଆଉ ତଳମୁଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ୧୬୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ନନ୍ଦପୁରରେ ୧୩୭ ଏବଂ କଳାହାଣ୍ଡିର ନର୍ଲାରେ ୯୬ ମିଲିମିଟର ବର୍ଷା ରେକର୍ଡ ରେକର୍ଡ ହୋଇଛି ।