ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ଆସନ୍ତା ୪୮ ଘଣ୍ଟା ପାଇଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ବିଶେଷ ଭାବେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସେଥିରୁ ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି । ୧୩ ତାରିଖରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ । ୧୩ ତାରିଖ ପରେ ବର୍ଷା ପରିମାଣ ସାମାନ୍ୟ କମିବ ।
ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧୬.୩ ମିମି ବର୍ଷା ହୋଇଥିବା ବେଳେ ଏବେବି ୨୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ସ୍ୱାଭାବିକ ବର୍ଷା ରହିବା କଥା ୨୯୫.୦. ମିମି । ବାଲେଶ୍ୱରରେ ସର୍ବାଧିକ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ରାୟଗଡ଼ାରେ ସର୍ବାଧିକ ୫୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ପାରଳାଖେମୁଣ୍ଡିରେ ସର୍ବାଧିକ ୩୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।