26.1 C
Bhubaneswar
Wednesday, October 9, 2024
Homeଓଡିଶା୩ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

୩ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଉତ୍ତର ଓଡ଼ିଶା ଓ ଉତ୍ତର ବଙ୍ଗୋପସାଗରରେ ଘନିଭୂତ ହୋଇ ଶୁକ୍ରବାର ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାରେ ବର୍ଷା ହେବ । ଆଉ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅର୍ଥାତ ଆସନ୍ତା ୨ ଓ ୩ ତାରିଖରେ ବର୍ଷା ହେବ ବୋଲି ଆଇଏମ୍‌ଡି ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ସେ କହିଛନ୍ତି ଯେ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନିଭୂତ ହୋଇ ଧୀରେ ଧୀରେ ପଶ୍ଚିମ-ଉତ୍ତର ଦିଗରେ ଗତି କରିବ । ସେହି ସମୟରେ ଛତିଶଗଡ଼, ପୂର୍ବ ମଧ୍ୟପ୍ରଦେଶ ଓ ଝାରଖଣ୍ଡରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ପୂର୍ବ ମଧ୍ୟପ୍ରଦେଶ ଓ ଝାରଖଣ୍ଡରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।
ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି । ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ବାଲେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, କେଉଁଝର । ଅନ୍ୟପଟେ ରାଜ୍ୟରେ ଜୁନ ୧ରୁ ଏଯାବତ ୫୦୭.୦ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking