ଭୁବନେଶ୍ୱର : ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ସ୍ୱଳ୍ପରୁ ମାଧ୍ୟମ ଧରଣର ବର୍ଷା ଲାଗି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ପ୍ରବଳ ବର୍ଷାର ପ୍ରଭାବରେ ବିଭିନ୍ନ ନଦୀରେ ବନ୍ୟା ଜଳ ଆସିବା ସହିତ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଆସନ୍ତା ୨୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୩ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହୋଇପାରେ । ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।