ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରକୋପ ବଢ଼ିଛି । ବିଶେଷକରି ଉତ୍ତର ଓଡ଼ିଶାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବାକି ଜିଲ୍ଲାଗୁଡ଼ିକରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତାକାଲି ମଧ୍ୟ ବର୍ଷାର ପ୍ରକୋପ ଜାରି ରହିବ । ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାକୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି । ଏହାସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ରହିଛି । ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ । ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ଓ ଯାତାୟାତ ସମସ୍ୟା ନେଇ ମଧ୍ୟ ଆଶଙ୍କା ରହିଛି ।










