17.1 C
Bhubaneswar
Saturday, December 20, 2025
Homeଓଡିଶା୧୧ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା !

୧୧ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା !

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲା ସାଙ୍ଗକୁ ଦକ୍ଷିଣ ଓଡ଼ିଶାରେ ତୁହାକୁ ତୁହା ବର୍ଷା ହେଉଛି। ଗତ ୩୬ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ୫୬ ମିମି ବର୍ଷା ହୋଇଥିବା ବେଳେ ଗୋପାଳପୁରରେ ୯୦, ଭୁବନେଶ୍ୱରରେ ୪୧, କୋରାପୁଟରେ ୭୩ ମିମି, ଯାଜପୁର ୬୦, ନୂଆପଡ଼ା ୪୫ ଓ ନବରଙ୍ଗପୁରରେ ୫୮ ମିମି ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଓ କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୫ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ସଦୃଶ ଲଘୁଚାପ ଓ ରବିବାର ବେଳକୁ ଏହା ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହି ଅବପାତ ଗୋପାଳପୁର ଠାରୁ ୨୧୦ କିମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଥିବା ବେଳେ ପାରାଦ୍ୱୀପ ଠାରୁ ୨୩୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ। ସେତବେଳକୁ ଏହା ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ରହିବ। ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ। ଏହା ପ୍ରଭାବରେ ରାଜ୍ୟରେ ପ୍ରାୟ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ତେବେ ଆଜି ଅର୍ଥାତ ସୋମବାର ଓ ମଙ୍ଗଳବାର ରାଜ୍ୟରେ ବର୍ଷାର ପ୍ରଭାବ ଅଧିକ ରହିବାକୁ ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ ଦର୍ଶାଯାଇଛି ଯେ ସୋମବାର ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳ ଜିଲ୍ଲାରେ ସବୁଠୁ ଅଧିକ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ଓ ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ୫ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରିଛି। ସେହିପରି ଗଞ୍ଜାମ, କୋରାପୁଟ, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ସୋନପୁର, ଯାଜପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଅନୁଗୁଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଦର୍ଶାଇ ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ବାକି ଗଜପତି, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ନେଇ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ମଙ୍ଗଳବାର ମଧ୍ୟ ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଥିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଲଘୁଚାପ ଯୋଗୁଁ ବର୍ଷା ସମେତ ସମୁଦ୍ର ମଧ୍ୟରେ ପବନର ବେଗ ମଧ୍ୟ ବୃଦ୍ଧି ପାଇଛି। ବର୍ତ୍ତମାନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ପବନର ବେଗ ୪୦ରୁ ୫୦ କିଲୋମିଟର ରହିଥିବା ବେଳେ ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ରହିଛି। ଏଥିପାଇଁ ଆସନ୍ତା ୧୧ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ସମୁଦ୍ର ଅଶାନ୍ତ ଥିବାରୁ ରାଜ୍ୟର ଗୋପାଳପୁର ଓ ପୁରୀ ପାଇଁ ୩ ନଂ ବିପଦ ସଙ୍କେଦ ଜାରି ହୋଇଥିବା ବେଳେ ପାରାଦ୍ୱୀପ ଓ ଧାମରା ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ ଜାରି କରାଯାଇଛି। ଏହା ବ୍ୟତୀତ ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ଥିବା ବେଳେ ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking