ଭୁବନେଶ୍ୱର: ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା । ଏଥିନିମନ୍ତେ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଦ୍ୱାରା ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ରେ ଆବଶ୍ୟକୀୟ ସଂଶୋଧନ କରାଯାଇଛି । ଏଯାବତ୍ ରାଜ୍ୟର ପୌରାଞ୍ଚଳରେ ମୋଟ୍ ୫୨,୦୦୦ ପଞ୍ଜୀକୃତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟତଃ ୪୭,୦୦୦ ପ୍ରତିଷ୍ଠାନରେ ଓଡ଼ିଆର ନାମଫଳକ ଲେଖାଯାଇଛି ।
କିଛି ଖିଲାପକାରୀ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନମାନଙ୍କ ବିରୋଧରେ ମକଦ୍ଦମା ସହିତ ଜୋରିମାନା ମଧ୍ୟ କରାଯାଇଛି । ଆଜି ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଅଧ୍ୟକ୍ଷତାରେ ଆୟୁକ୍ତ ତଥା ସଚିବ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ, ଶ୍ରମ ଆୟୁକ୍ତ ଏବଂ ଜିଲ୍ଲା ଶ୍ରମ ଅଧିକାରୀମାନକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପରିବର୍ତ୍ତିତ ଅଧିନିୟମର କଡାକଡ଼ି ଅନୁପାଳନ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।
ଶ୍ରମ ଆୟୁକ୍ତ ଓଡ଼ିଶାର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକରେ ଓଡ଼ିଆରେ ନାମଫଳକ ଲଗାଇବା ନିମନ୍ତେ ଜିଲ୍ଲା ଶ୍ରମ ଅଧିକାରୀ ଓ ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ଏହାର କଡ଼ାକଡ଼ି ନିରୀକ୍ଷଣ କରି ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ଚଳିତ ମାସଠାରୁ ଖିଲାପକାରୀଙ୍କୁ ୭ଦିନିଆ ନୋଟିସ ଦିଆଯିବ । ଏହାପରେ ମଧ୍ୟ ଯଦି ଅଧିନିୟମର ଅନୁପାଳନ ନହୁଏ, ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ଜୋରିମାନା/ ଲାଇସେନ୍ସ ରଦ୍ଦ କରାଯିବ । ପ୍ରଥମଥର ଖିଲାପକାରୀଙ୍କୁ ୫୦୦୦ ଟଙ୍କା ଏବଂ ଦ୍ୱିତୀୟଥର ଖିଲାପକାରୀଙ୍କୁ ୨୫୦୦୦ ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ ।
ଜିଲ୍ଲାସ୍ତରରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶ୍ରମ ଅଧିକାରୀ, ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ବଜାର ଦୋକାନ ଓ ବାଣିଜ୍ୟ ସଂଘ ସହିତ ପ୍ରତି ମାସରେ ଏକ ବୈଠକ କରି ଏହାର ସମୀକ୍ଷା କରିବା ସହିତ ବିବରଣୀ ଶ୍ରମ ଆୟୁକ୍ତ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗଙ୍କୁ ପ୍ରଦାନ କରିବା ନିମନ୍ତେ ନିର୍ଦ୍ଦେଶ ପ୍ରଦାନ କରାଯାଇଛି ।