37.1 C
Bhubaneswar
Thursday, March 28, 2024
Homeରଥ ଯାତ୍ରାତିନି ଗୋଟି ରଥରେ ରଥଯାତ୍ରା ସମ୍ପାଦନ କରିବାକୁ ମିଳିଥିଲା ପରାମର୍ଶ

ତିନି ଗୋଟି ରଥରେ ରଥଯାତ୍ରା ସମ୍ପାଦନ କରିବାକୁ ମିଳିଥିଲା ପରାମର୍ଶ

ଭୁବନେଶ୍ୱର : ଗବେଷକ ଡଃ ନୀଳକଣ୍ଠ ମିଶ୍ର ଉଲ୍ଲେଖ କରିଛନ୍ତି ଯେ, ଖ୍ରୀ.ଅ ୧୨୭୦ରେ ମାଧବାଚାର୍ଯ୍ୟଙ୍କ ଶ୍ରୀକ୍ଷେତ୍ର ଆଗମନ କାଳରେ ଏକ ଯାତ୍ରାରେ ଦୁଇ ପ୍ରକାର ରଥ ବ୍ୟବହାର ଶାସ୍ତ୍ର ବିରୋଧୀ ବୋଲି ମତ ଦେଇ ମାଳିନୀ ନଦୀ ପୋତି ବଡ଼ଦାଣ୍ଡରେ ମାତ୍ର ତିନି ଗୋଟି ରଥରେ ରଥଯାତ୍ରା ସମ୍ପାଦନ କରିବାକୁ ପରାମର୍ଶ ଦେଇଥିଲେ । ତେଣୁ ଗଙ୍ଗ ସମ୍ରାଟ ଅନଙ୍ଗ ଭୀମ ଦେବଙ୍କ ପୁତ୍ର ପ୍ରଥମ ଭାନୁଦେବ (୧୨୬୪-୧୨୮୭) ଏ ବ୍ୟବସ୍ଥା କରିଥିଲେ । ମାଳିନୀ ବା ଶରଧା ନଦୀ ପୋତା ହେଲା ପରେ ଏହା ବଡ଼ ଦାଣ୍ଡରେ ପରିଣତ ହେଲା ।

ଖ୍ରୀଷ୍ଟୀୟ ନବମ ଶତାଦ୍ଦୀର କବି ମୁରାରୀ ମିଶ୍ର ସ୍ୱୀୟ ସୃଷ୍ଟିରେ ରଥଯାତ୍ରା ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି ବୋଲି କେତେକ ଅଲୋଚକ ମତପୋଷଣ କରିଛନ୍ତି । ଶ୍ରୀବିଗ୍ରହମାନଙ୍କ ରଥଯାତ୍ରା କାଳରେ ମୁରାରୀ ମିଶ୍ରଙ୍କ ରଚିତ ସୁପ୍ରସିଦ୍ଧ ସଂସ୍କୃତ ନାଟକ ଅନର୍ଘ ରାଘବ ସମେତ ବହୁ ସଂସ୍କୃତ କାବ୍ୟ ଭକ୍ତମାନଙ୍କର ଚିତ୍ତ ବିନୋଦନ ପାଇଁ ଅଭିନୀତ ହେଉଥିବାରୁ ସୂଚନା ତାଙ୍କ ରଚନାରୁ ମିଳିଥାଏ । କବି ମୁରାରୀ ମିଶ୍ରଙ୍କ ରଚନାରୁ ଜଣାଯାଏ ଯେ, ଭାଗବତଃ ପୁରୁଷୋତ୍ତମସ୍ୟ ଯାତ୍ରାୟା ମୁପସ୍ଥାନୀୟା ସଭାସଦଃ। ଏଠାରେ ଶ୍ରୀପୁରୁଷୋତ୍ତମ ବା ଶ୍ରୀଜଗନ୍ନାଥଙ୍କ ଯେଉଁ ଯାତ୍ରାର ନାମ ଉଲ୍ଲେଖ କରିଛନ୍ତି, ତାହା ଆଲୋଚକମାନଙ୍କଦ୍ୱାରା ରଥଯାତ୍ରା ରୂପେ ଗୃହୀତ ହୋଇଛି। ମାତ୍ର ବର୍ଣ୍ଣିତ ଯାତ୍ରାର କାଳ ନିରୂପିତ ହୋଇନଥିବାରୁ ଏହାକୁ ରଥଯାତ୍ରା ଭାବରେ ଗ୍ରହଣ କରିବାରେ ମତଦ୍ୱୈଧ ପରିଲକ୍ଷିତ ହୋଇଥାଏ । ବିଶିଷ୍ଟ ଐତିହାସିକ ଡକ୍ଟର ସତ୍ୟନାରାୟଣ ରାଜଗୁରୁ ୧୨୨୩ ଖ୍ରୀଷ୍ଟାବ୍ଦର ପରବର୍ତ୍ତୀ କାଳରେ ରଥଯାତ୍ରା ପ୍ରଚଳନ କଥା ଉଲ୍ଲେଖ କରିଛନ୍ତି । ରାଜଗୁରୁଙ୍କ ମତରେ ୧୨୨୩ ଖ୍ରୀଷ୍ଟାବ୍ଦ ପରେ କୈଣସି ସମୟରେ ଶ୍ରୀଜଗନ୍ନାଥଙ୍କ ବିଗ୍ରହ ଦାରୁ ନିର୍ମିତ ହେବାରେ ଓ ଆଦିବାସୀ ଦଇତାମାନେ ଶ୍ରୀଜଗନ୍ନାଥଙ୍କ ସେବକ ରୂପେ ନିଯୁକ୍ତି ହେବାର ରଥଯାତ୍ରାର ସୃଷ୍ଟି ହୋଇଅଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking