30.1 C
Bhubaneswar
Friday, September 20, 2024
Homeଦୁର୍ଗା ପୂଜା - 2024ଦୁର୍ଗା ପୂଜା ବିଷୟରେ ଜାଣନ୍ତୁ...

ଦୁର୍ଗା ପୂଜା ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର : ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦୁର୍ଗା ପୂଜା ଆଶ୍ୱିନ ମାସ ଶୁକ୍ଲ ପକ୍ଷ ଦଶମୀ ତିଥିରେ ସମାପ୍ତ ହୋଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି – ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ। ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ। ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ । ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ । ଯେଉଁ ମା’ର ଶସ୍ୟ ଆହାର କରି ମାନବ ଜୀବିକା ନିର୍ବାହ କରେ, ସେହି ଧରିତ୍ରୀ ରାଣୀର ବୟଃପ୍ରାପ୍ତିରେ ଉତ୍‌ଫୁଲ୍ଲ ହୋଇ ଜନ-ମାନସ ବାସନ୍ତୀ ଦୁର୍ଗାଙ୍କ ପୂଜାର ଆୟୋଜନ କରେ, ମାତ୍ର ଏକ ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦେବୀପୂଜା ହିଁ ଅଧିକ ଲୋକପ୍ରିୟତା ଅର୍ଜନ କରିଅଛି । ଏହି ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ । ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା । ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ । ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗାମାତାଙ୍କର ଜନ୍ମଦିବସ I ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ । ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ I ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ I ଏହି ଦୁର୍ଗାପୂଜାର ଶେଷ ଦିବସ । ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ । ତେଣୁ ‘ଦଶହରା’ କହିଲେ ସମସ୍ତେ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି । ଏହି ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ । ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ଦୁର୍ଦ୍ଦମନୀୟ ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ । ଦେବୀଙ୍କ ସହ ଦାନବମାନଙ୍କର ଯୁଦ୍ଧ କନ୍ୟାମାସ ବା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ଧରି ଚାଲିଥିଲା । ଶୁକ୍ଳ ଅଷ୍ଟମୀ ଓ ନବମୀ ତିଥିରେ ମହାମାରୁ ହୋଇଥିଲା । ମହିଷାସୁର ସମେତ ସମସ୍ତ ଅସୁର ବଂଶ ନିପାତ ହେଲେ । ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀରେ ସବୁପ୍ରକାର ଶୁଭକାର୍ଯ୍ୟର ଆରମ୍ଭ ହେଲା । ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା ‘ଦୁଃଖହା ଦଶମୀ’ ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ ‘ଚଣ୍ଡୀପୁରାଣ’ରେ ଲେଖିଛନ୍ତି । ‘ଦୁଃଖହା ଦଶମୀ’ ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking