ଭୁବନେଶ୍ୱର: ମିଆଁମାର୍ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଉତ୍ତରପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଯାହାକି ସମୁଦ୍ର ପୃଷ୍ଠ ଭୂମିରୁ ୭.୬ କିଲୋମିଟର ଯାଏଁ ଆଉ ଏକ ଘୂର୍ଣ୍ଣିବଳୟ ସହ ଯୋଡ଼ି ହୋଇ ରହିଛି । ଲଘୁଚାପ ଆସନ୍ତା ୪୮ ଘଣ୍ଟାରେ ଆହୁରି ଘନୀଭୂତ ହେବ । ସ୍ପଷ୍ଟ ଚିହ୍ନିଚ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏହା ଉତ୍ତରପଶ୍ଚିମଦିଗରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳକୁ ମୁହାଁଇ ବଳ ଗୋଟାଇବ । ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗର ପୂର୍ବାନୁମାନ, ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଶୁକ୍ରବାର ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି । ସେହିଭଳି ପ୍ରଚଣ୍ଡ ବିଜୁଳି ଘଡ଼ଘଡ଼ି ନେଇ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
୩୦ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୧ ତାରିଖରୁ ଆହୁରି ବଢ଼ିବ ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୨ ଏବଂ ୩ ତାରିଖରେ କୋରାପୁଟ, ମାଲକାଗିରି, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼ ଏବଂ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପୁଣି ୩ରୁ ୫ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।