ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର- ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଥମେ ଉତ୍ତର- ଉତ୍ତରପଶ୍ଚିମ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି। ଫଳରେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବଡ଼ ବର୍ଷା ହୋଇପାରେ। ଏନେଇ ପାଣିପାଗର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।କେଉଁଝର, ମୟୁରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେହିପରି ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ଏହା ସହ ପ୍ରବଳ ବର୍ଷା ନେଇ ବରଗଡ଼, ସୋନପୁର, ବୌଦ୍ଧ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ତେଣୁ ମଙ୍ଗଳବାର ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।










