ନୂଆଦିଲ୍ଲୀ : ପ୍ରକୃତି ଆଗରେ କେହି କାହାର ନୁଁହନ୍ତି। ଆଖି ପିଛୁଳାକେ ଚାଲିଗଲା ସହ ସହ ଲୋକଙ୍କ ଜୀବନ । ମିଆଁମାର ଓ ଥାଇଲ୍ୟାଣ୍ଡରେ ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ଯ୍ୟୟ ଆସିଛି । ମିଆଁମାର ଭୂମିକମ୍ପରେ ବଢିଲା ମୃତ୍ୟୁସଂଖ୍ୟା । ବର୍ତ୍ତମାନ ୧ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ୨ ହଜାରେରୁ ଅଧିକ ଆହତ ହୋଇଥିବା ସୂଚନା ମିଳୁଛି । ପ୍ରଶାସନ ପକ୍ଷରୁ ଉଦ୍ଧାର କାଯ୍ୟ ଜାରି ରହିଛି । ମୃତାହତଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି ସମ୍ଭାବନା ରହିଛି । ୭.୭ ଏବଂ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମିଆଁମାରରେ ଅନେକ ସୁଉଚ୍ଚ ଅଟ୍ଟାଳିକା ଆଖି ପିଛୁଳାକେ ମାଟିରେ ମିଶିଯାଇଛି । ଭୂକମ୍ପର ପ୍ରଭାବ ଏତେ ଅଧିକ ଥିଲା ଯେ ଏହା ୯୦୦ କିମି ଦୂରରେ ଥିବା ପଡ଼ୋଶୀ ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକ୍ରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି । ଭାରତରେ ମେଘାଳୟ, ମଣିପୁର, ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି । ବାଂଲାଦେଶ, ଭିଏତ୍ନାମ ଏବଂ ଚୀନ୍ର ଦକ୍ଷିଣପଶ୍ଚିମ ୟୁନାନ୍ ପ୍ରଦେଶରେ ମଧ୍ୟ ଭୂକମ୍ପର ତୀବ୍ର ଝଟ୍କା ଅନୁଭୂତ ହୋଇଛି । ମିଆଁମାର ଓ ଥାଇଲ୍ୟାଣ୍ଡରେ ଭୂକମ୍ପଜନିତ ନିଖୋଜଙ୍କ ସଂଖ୍ୟା ୨ ଶହ ଅତିକ୍ରମ କରିଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ବ୍ୟାଙ୍କକ୍ରେ ଏକ ୩୦ ମହଲା ବିଶିଷ୍ଟ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ି ୩ ଜଣଙ୍କର ମୃତ୍ୟୁ ହୋଇଛି । ୮୦ରୁ ଅଧିକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଜଣାପଡ଼ିଛି । ମିଆଁମାରରେ ଜାତୀୟ ଜରୁରୀ ସ୍ଥିତି ଘୋଷଣା କରାଯାଇଥିବା ବେଳେ ଥାଇଲ୍ୟାଣ୍ଡର ବ୍ୟାଙ୍କକ୍କୁ ଇମର୍ଜେନ୍ସି ଜୋନ୍ ଘୋଷଣା କରାଯାଇଛି । ଉଭୟ ରାଷ୍ଟ୍ରରେ ବିଶାଳ ଉଦ୍ଧାର ଅଭିଯାନ ଆରମ୍ଭ ହୋଇଛି ।