ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବର ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ମେୟର ସୁଲୋଚନା ଦାସ ପ୍ରମୁଖ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ସେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଗତକାଲି ସେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ।
ଆଜି ରାଜଧାନୀର ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ୍ କଲେଜ୍ ଆଣ୍ଡ ହସ୍ପିଟାଲ୍ ପରିସରରେ ହୋମିଓପାଥି ଉପରେ ଆୟୋଜିତ ଜାତୀୟ ବୈଜ୍ଞାନିକ ସମ୍ମିଳନୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।










