27.1 C
Bhubaneswar
Thursday, April 30, 2026
Homeଓଡିଶାପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶକ୍ତିକାନ୍ତ ଦାସଙ୍କ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶକ୍ତିକାନ୍ତ ଦାସଙ୍କ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶକ୍ତିକାନ୍ତ ଦାସ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏଠାରେ ସେ ବିଭିନ୍ନ ଅତ୍ୟାଧୁନିକ ଲାବୋରେଟୋରି ବୁଲି ଦେଖିବା ସହ ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ଦିଗରେ ଏହି କେନ୍ଦ୍ର ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଜାଣି ଖୁସି ପ୍ରକାଶ କରିଥିଲେ। ଯୁବପିଢ଼ିଙ୍କୁ ଶିଳ୍ପ ଉପଯୋଗୀ ତାଲିମ ପ୍ରଦାନ ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ‘ସ୍କୁଲ ଅଫ ଇଞ୍ଜିନିୟରିଂ’ ଏବଂ ‘ସ୍କୁଲ ଅଫ ସର୍ଭିସେସ୍’ ବିଭାଗ ଅଧୀନରେ ବିଭିନ୍ନ ଅତ୍ୟାଧୁନିକ ଲାବୋରେଟୋରି ରହିଛି। ତା’ ଭିତରୁ ଶ୍ରୀ ଦାସ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ, ବ୍ୟୁଟି ଆଣ୍ଡ ୱେଲନେସ ଏବଂ ସ୍କୁଲ ଅଫ୍ ହସ୍ପିଟାଲିଟି ଆଦି ବିଭାଗ ବୁଲି ଦେଖିଥିଲେ। ଏଠାକାର ଉନ୍ନତ ଭିତ୍ତିଭୂମି ଏବଂ ତାଲିମ ପାଠ୍ୟକ୍ରମକୁ ସେ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପରିଦର୍ଶନ ବେଳେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଭୂପେନ୍ଦ୍ର ସିଂ ପୁନିଆ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଆୟୋଜିତ ଏକ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଯୋଗ ଦେଇଥିଲେ। ବୈଠକରେ ଛାତ୍ରଛାତ୍ରୀଙ୍କୁ ଅନ୍ତର୍ଜାତୀୟ ଢାଞ୍ଚାରେ ତାଲିମ ପ୍ରଦାନ କରି ଆସନ୍ତା କାଲିର ଶିଳ୍ପ ସଂସ୍ଥା ପାଇଁ ଦକ୍ଷ ମାନବ ସମ୍ବଳ ସୃଷ୍ଟି କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେହିପରି ସରକାର, ଶିଳ୍ପ ସଂସ୍ଥା ଏବଂ ବିଭିନ୍ନ ଦକ୍ଷତା ବିକାଶ କେନ୍ଦ୍ର ମଧ୍ୟରେ ସମନ୍ୱୟ ରକ୍ଷା କରାଯାଇ ଦକ୍ଷତା ବିକାଶ କ୍ଷେତ୍ରକୁ ନୂଆ ଉଚ୍ଚତାକୁ ନେବା ଉପରେ ଆଲୋଚନା ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରଶ୍ମି ରଞ୍ଜନ ମହାପାତ୍ର, ବିଭାଗୀୟ ଅତିରିକ୍ତ ଶାସନ ସଚିବ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ଶ୍ରୀ ପିନାକୀ ପଟ୍ଟନାୟକ ଏବଂ ଅଧ୍ୟକ୍ଷ ଡକ୍ଟର ଶୁଭାଙ୍ଗ କିଶୋର ଦାସ ପ୍ରମୁଖ ଯୋଗ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking