ଭୁବନେଶ୍ୱର: ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସେହିପରି ଉତ୍ତର ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ଲାଗି ରହିଛି । ରାଜଧାନୀରେ ଛେଚୁଛି ବର୍ଷା । ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ଏନେଇ ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ ଆସନ୍ତା ୯ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।










