ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ଜାରି ରହିଛି । ଜୁଲାଇ 10 ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ବିଶେଷ କରି ଆଜି ପଶ୍ଚିମ ଓଡ଼ିଶାରେ ଭାରି ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏନେଇ ପଶ୍ଚିମ ଓଡ଼ିଶାର 3 ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ 6 ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ସେହି ଅଞ୍ଚଳରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବରେ ଅବସ୍ଥିତ ଅଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ 9.4 କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡକୁ ଢ଼ଳି ରହିଛି । ଆଗାମୀ 2ରୁ 3 ଦିନ ମଧ୍ୟରେ ଏହା ଉତ୍ତର ଓଡ଼ିଶା ଏବଂ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ଆଜି (ରବିବାର) ପଶ୍ଚିମ ଓଡ଼ିଶାରେ ଭୀଷଣ ବର୍ଷା ହେବ । ଏଥିପାଇଁ 3 ଜିଲ୍ଲା ସମ୍ବଲପୁର, ବରଗଡ଼ ଓ ନୂଆପଡ଼ାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ 6 ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।ଆସନ୍ତାକାଲି (ସୋମବାର) ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହପରି 7 ତାରିଖରେ ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।










