ଭୁବନେଶ୍ୱର: ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଏ । ନବମୀ ଦିନ ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ ହୋଇଥାଏ । ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନ ପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦକରାଯାଇଥାଏ । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଏ । ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥାନ୍ତି ।
ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।