27.1 C
Bhubaneswar
Friday, June 28, 2024
Homeଓଡିଶାଭକ୍ତଙ୍କୁ ଗଜବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଭକ୍ତଙ୍କୁ ଗଜବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଭୁବନେଶ୍ୱର : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରତ୍ନ ସିଂହାସନରୁ ସ୍ନାନମଣ୍ଡପକୁ ବିରାଜିବେ ଚତୁର୍ଦ୍ଧାବିଗ୍ରହ। ସ୍ନାନମଣ୍ଡପରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ବର୍ଷକ ପରେ ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନ ହେବ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ସ୍ନାନବେଦିକୁ ରଙ୍ଗ ସହ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି । ସ୍ନାନବେଦି ଉପରେ ଚାନ୍ଦୁଆ ଲଗାଯାଇଛି । ପହଣ୍ଡି ପୂର୍ବରୁ ଗତକାଲି ଦଇତାପତିଙ୍କ ଦ୍ୱାରା ବାହୁଟକଣ୍ଟ ନୀତି ଶେଷ ହୋଇଥିଲା । ଆଜି କୋଠ ସୁଆଁସିଆ ରତ୍ନସିଂହାସନରେ ଚାରମାଳ ବାନ୍ଧିବା ପରେ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେନାପଟା ଲାଗି ନୀତିସଂପନ୍ନ କରିଛନ୍ତି ।ନିର୍ଘଣ୍ଟ ନୀତି ଅନୁଯାୟୀ, ଆଜି ଭୋର୍‌ ସାଢ଼େ ୪ଟାରେ ମଙ୍ଗଳାର୍ପଣ ପରେ ୫ଟାରୁ ୭ଟା ଭିତରେ ଡୋର ଲାଗି ଓ ପୁଷ୍ପାଞ୍ଜଳି ହୋଇ ପହଣ୍ଡି ଆରମ୍ଭ ହୋଇଛି । ଧାଡ଼ି ପହଣ୍ଡିରେ ପ୍ରଥମେ ପ୍ରଭୁ ସୁଦର୍ଶନ, ପରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦିକୁ ବିଜେ କରୁଛନ୍ତି । ପହଣ୍ଡି ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ । ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ । ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ । ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking