ଭୁବନେଶ୍ୱର : କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ । ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା । ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ ପାଣ୍ଡବମାନେ ତାହାହିଁ କଲେ।
ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ । ସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ। ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ୱାର ଖୋଲାଯିବ ନାହିଁ । ମାତ୍ର ପନ୍ଦର ଦିନ ପରେ ଦ୍ୱାର ଖୋଲାଗଲା ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ । କେବଳ ଅଧାଗଢା ମୂର୍ତ୍ତି ରହିଗଲା ଅଧାଗଢ଼ା ମୂର୍ତ୍ତିକୁ ଶ୍ରୀମନ୍ଦିରରେ ପ୍ରତିଷ୍ଠା କରାଗଲା । ସେହି ସମୟରେ ମହାପ୍ରଭୁ କହିଥିଲେ : ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ। ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି। ଶ୍ରୀକ୍ଷେତ୍ର ଧାମରେ ପାଳିତ ହେଉଥିବା ଶ୍ରୀଗୁଣ୍ଡିଚା ଯାତ୍ରାର ମହିମା ତଥା ପାଳନ ବିଧିର ବିସ୍ତୃତ ବର୍ଣ୍ଣନା ବିଭିନ୍ନ ପୁରାଣ ଓ ଉପପୁରାଣମାନଙ୍କରେ ଉଲ୍ଲେଖ ହୋଇଛି। ବିଶେଷ ଭାବେ ବ୍ରହ୍ମ ପୁରାଣ, ନାରଦ ପୁରାଣ, ନୀଳାଦ୍ରି ମହୋଦୟ, କପିଳ ସଂହିତା, ଜଗନ୍ନାଥ ପୁରାଣ, ଯାତ୍ରା ଭାଗବତ, ପଦ୍ମ ପୁରାଣ, ଚୈତନ୍ୟ ଚରିତାମୃତ, ବାମଦେବ ସଂହିତା, ଶାରଦା ପୁରାଣ ପ୍ରଭୃତି ଉଲ୍ଲେଖଯୋଗ୍ୟ। ଶ୍ରୀମନ୍ଦିରରେ ପାଳିତ ମୁଖ୍ୟ ଯାତ୍ରା ମଧ୍ୟରେ ରଥଯାତ୍ରା ଅନ୍ୟତମ ।