ଭୁବନେଶ୍ୱର : ଆଜି ବିଜୟ ଦଶମୀ ଅର୍ଥାତ୍ ଦଶହରା । ଅସତ୍ୟ ଉପରେ ସତ୍ୟର ବିଜୟ ଦିନ । ମହାମାରୀ କରୋନା କଟକଣା ପାଇଁ ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପାର୍ବଣର ମାହୋଲ ସାରା ରାଜ୍ୟରେ ଦେଖିବାକୁ ମିଳୁନାହିଁ। ମହାମାରୀ ନେଇ ପ୍ରଶାସନ ଜାରି କରିଥିବା ସମସ୍ତ କଟକଣା ସହକାରେ ପୂଜା କରାଯାଉଛି। କେବଳ ଦେବୀ ଦୁର୍ଗାଙ୍କ ନୀତିକାନ୍ତି କରାଯାଉଥିବା ବେଳେ ସାଧାରଣ ଦର୍ଶନ ବନ୍ଦ ରହିଛି। ଅନ୍ୟପଟେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ରାଜ୍ୟରେ ଏବେ ବର୍ଷା ହେଉଛି । ଆଜି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି । ଦୁର୍ଗା ପୂଜା ହିନ୍ଦୁ ଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର ।