ଭୁବନେଶ୍ୱର: ରାଜ୍ୟରେ ପୁଣି ତାପମାତ୍ରା ବଢିବାରେ ଲାଗିଛି । ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଲାଣି । ପୁଣି ରାଜ୍ୟର କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ତେବେ ଆସନ୍ତା ୩ ଦିନ ପରେ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବ । ୩ଂ ରୁ ୪ଂ ଯାଏଁ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୯ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ଏବଂ ବଜ୍ରପାତ ସମୟରେ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବାକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର, ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି । ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଆକାଶ ମେଘୁଆ ରହିବା ସହ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଓଡିଶାର ବାକି ଜିଲ୍ଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି ।