ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜୁଲାଇ ୨୫ ମଧ୍ୟରେ ପ୍ରାୟ ୩୯୭. ୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଯାହାକି ଏହା ସ୍ୱାଭାବିକ ବର୍ଷା ୪୮୬.୭ ମି.ମି. ଠାରୁ ୧୮ ପ୍ରତିଶତ କମ୍। ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍ ୧ରୁ ଜୁଲାଇ ୨୨ ପର୍ଯ୍ୟନ୍ତ ଓଡ଼ିଶାରେ ୩୪୬.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ଗୁରୁବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦିଆଯାଇଥିଲା। ସୂଚନାଯୋଗ୍ୟ, ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗତକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା।