ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ଯାଏ ପ୍ରବଳ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ ପକ୍ଷରୁ ସୂଚନା ମିଳିଛି । ଜୁଲାଇ ୧ ତାରିଖ ଅର୍ଥାତ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି । ଏହାକୁ ଦୃଷ୍ଟିରେ ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ଓ ଉତ୍ତର ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନାରେ ଦର୍ଶାଯାଇଛି । ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛି ।