ଭୁବନେଶ୍ୱର: ଦୀପାବଳୀରେ ସମଗ୍ର ଭାରତରେ ଦିବ୍ୟ ଜନନୀଙ୍କର ନାନା ରୂପରେ ପୂଜା କରାଯାଏ । ବଙ୍ଗଳା, ଆସାମ, ଓଡ଼ିଶା ଓ ବିହାରରେ ଦୀପାବଳୀ ମା କାଳୀଙ୍କ ପୂଜା କରାଯାଏ । କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ମଧ୍ୟ ରାତ୍ରୀରୁ ତାନ୍ତ୍ରିକ ଓ ଶାକ୍ତ ମତରେ ଦେବୀଙ୍କର ପୂଜା ହୁଏ । ମାଟିରେ ତିଆରି ମୂର୍ତ୍ତି ସହ ବିଭିନ୍ନ ଶକ୍ତି ପୀଠରେ ଏହା ପାଳିତ ହୁଏ । ସେହିପରି ଭାରତର ଅନ୍ୟାନ୍ୟ ଅଂଶରେ ଦୀପାବଳୀ ଲକ୍ଷ୍ମୀ ପୂଜାର ସମୟ । ବିଶେଷ କରି, ଉତ୍ତର ଭାରତରେ ମହାଲକ୍ଷ୍ମୀଙ୍କ ରୂପରେ ଦେବୀଙ୍କ ଆରାଧନା କରାଯାଏ । ଏହା ଏହି ସବୁ ଅଞ୍ଚଳରେ ଏକ ମୁଖ୍ୟ ପର୍ବ ରୂପେ ପାଳିତ ହୁଏ । ମିଥିଳା ଓ ନେପାଳରେ ଏହି ପର୍ବରେ ମହାନିଶାଙ୍କ ପୂଜା କରାଯାଏ ।
କିମ୍ବଦନ୍ତୀ
କାର୍ତ୍ତିକ ଅମାବାସ୍ୟାରେ ଦୀପାବଳୀ ଉତ୍ସବ ପାଳନ କରାଯାଏ । ଏହି ପର୍ବ ପ୍ରାୟ ସମସ୍ତ୍ରେ ପାଳନ କରନ୍ତି । ଘରେ ଘରେ ସେଦିନ ଦୀପ ଜଳେ, ବାଣ ଫୁଟାଯାଏ । ଶ୍ରାଦ୍ଧ କରାଯାଏ । ପିଠାପଣା ହୁଏ । ଦୀପାବଳୀ ଉତ୍ସବ ପାଳନ ବିଷୟରେ ନାନାପ୍ରକାର ପୁରାଣ ଓ ଲୋକକଥା ଶୁଣାଯାଏ । ଏହି ଦୀପାବଳୀ ଅମାବାସ୍ୟାକୁ ଲୋକାକ୍ତିରେ ପୟାଅମାବାସ୍ୟା କହନ୍ତି ।
ରାମାୟଣ
ସତ୍ୟଯୁଗରେ ପ୍ରଭୁ ରାମଚନ୍ଦ୍ର ରାବଣକୁ ମାରି ସୀତାଙ୍କୁ ଉଦ୍ଧାର କରି ଅଯୋଧ୍ୟା ଫେରିଲେ । ଅଯୋଧ୍ୟାର ସମସ୍ତ ନରନାରୀ ଶ୍ରୀରାମଙ୍କ ଅସତ୍ୟ ଉପରେ ସତ୍ୟର ବିଜୟ ନିମନ୍ତେ ଆନନ୍ଦରେ ବିଭିନ୍ନ ପ୍ରକାର ଆଲୋକ ଜଳେଇଥିଲେ । ସେହି ଦିନରୁ ଏହି ଉତ୍ସବ ପାଳନ କରାଯାଉଛି । ଉତ୍ତର ଭାରତରେ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କର ଭକ୍ତମାନେ ଏହିଦିନ ଟିକୁ ବହୁ ଯାକଜମକରେ ପାଳନ କରନ୍ତି ।
‘ଉତ୍ସବ ତତ୍ତ୍ୱାଭିଧାନ’ ଅନୁଯାୟୀ ଏକଦା କାର୍ତ୍ତିକ (ତୁଳା)ମାସ- ଘନଅନ୍ଧକାର କୃଷ୍ଣପକ୍ଷରେ ଜଣେ ଭବିଷ୍ୟଦ୍ରଷ୍ଟା ଜ୍ୟୋତିଷ ପ୍ରଭୁ ଶ୍ରୀରାମଙ୍କୁ ବିପର୍ଯ୍ୟସ୍ଥ ଦୁର୍ଭାଗ୍ୟ କାଳସର୍ପ ରୂପେ ଅମାରାତିରେ ଦଂଶନକରିବା ପାଇଁ ଲୁଚିଛପି ଆସିବାର ଭବିଷ୍ୟବାଣୀ କରିଥିଲେ । ସତର୍କତାପୂର୍ବକ ଅଯୋଧ୍ୟା ରାଜନଗରୀର କୃଷ୍ଣପକ୍ଷ ସାରା ଉଜ୍ଜଳଆଲୋକ ପ୍ରଜ୍ଜଳନ କରାଯାଇଥିଲା ଏବଂ କାଳସର୍ପ ଦଂଶନର ଚକ୍ରାନ୍ତ ପଣ୍ଡହୋଇଥିଲା ।
ଦୈତ୍ୟ ରାଜା ବଳୀ
ଦୈତ୍ୟରାଜ ବଳି ମହାଦାନୀ ଥିଲେ । ସେ ଏପରି ଦାନ କଲେ ଯେ ସ୍ୱର୍ଗର ଦେବତାମାନଙ୍କ ମଧ୍ୟରେ ଭାଳେଣି ପଡ଼ିଗଲା , କାରଣ ତାଙ୍କର ପୂଣ୍ୟ ଫଳରେ ସେ ସ୍ୱର୍ଗପୁରର ଅଧିକାରୀ ହେଇପାରନ୍ତି । ଏଣୁ ଦେବତାମାନଙ୍କ କଥା ରକ୍ଷାକରି ବିଷ୍ଣୁ ବାମନ ଅବତାର ଗ୍ରହଣ କରି ବଳିରାଜଙ୍କ ପାଖରେ ପହଞ୍ଚି ତାଙ୍କୁ ତିନିପାଦ ଭୂମି ମାଗିଥିଲେ । ଗୋଟିଏ ପାଦରେ ପୃଥିବୀ, ଗୋଟିଏ ପାଦରେ ସ୍ୱର୍ଗ ଏବଂ ତୃତୀୟ ପାଦରେ ବଳିଙ୍କୁ ପାତାଳକୁ ଚାପିଦେଲେ । ତେଣୁ ସେ ପାତାଳ ପୁରକୁ ଚାଲିଗଲେ । ତା’ ପରେ ବଳିଙ୍କ ପ୍ରାର୍ଥନା ଶୁଣି ପାତାଳରେ ବଳିକୁ ରାଜା କରିଦେଲେ । ବର୍ଷକରେ ଥରେ ମର୍ତ୍ତ୍ୟପୁରକୁ ଆସି ପ୍ରଜାମାନଙ୍କୁ ଦେଖିବାକୁ ବଳି ବର ମାଗନ୍ତେ ବିଷ୍ଣୁ ଏଥିରେ ସମ୍ମତି ଜଣାଇ କାର୍ତ୍ତିକ ଶୁକ୍ଲ୍ଲ ପ୍ରତିପଦା ଦିନ ଦିନ ବଳି ମର୍ତ୍ତ୍ୟକୁ ଆସିବାକୁ ତଥାସ୍ତୁ କହିଲେ । ତେଣୁ ସେଦିନକୁ ମର୍ତ୍ତ୍ୟବାସୀ ଆନନ୍ଦର ଦୀପ ଜାଳି ଆଲୋକିତ କରନ୍ତି ।