34.1 C
Bhubaneswar
Friday, March 29, 2024
Homeଓଡିଶାଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ପାଳନ ହୁଏ ରଥ ଯାତ୍ରା

ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ପାଳନ ହୁଏ ରଥ ଯାତ୍ରା

ଭୁବନେଶ୍ୱର : ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ ।

ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜୟ । ଏହାକୁ ଗୁଣ୍ଡିଚା ପଞ୍ଚକ କୁହଯାଏ ।

ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି। ଋକ୍ ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ଦେଖାଯାଏ । ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ । ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ । ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହେଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ । କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ ପରିବ୍ରାଜକ ଫାଇୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking